ପୁରୀ ଜିଲାର କାକଟପୁରରେ ବିରାଜିତ ମା’ ମଙ୍ଗଳା ଲକ୍ଷ ଲକ୍ଷ ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ । ପଞ୍ଚଦଶ ଶତାବ୍ଦୀରେ ନିର୍ମିତ ମା ମାଙ୍ଗଳାଙ୍କ ପୀଠର ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସହ ଘନିଷ୍ଠ ସଂପର୍କ ରହିଛି।
ନବକଳେବର ସମୟରେ ଦଇତାପତି ସେବକମାନେ ମାଙ୍କ ଆଜ୍ଞାକ୍ରମେ ଏଠାରୁ ହିଁ ଦାରୁ ସନ୍ଧାନରେ ଯାଇଥାନ୍ତି। ଚୈତ୍ର ମାସରେ ଝାମୁଯାତ୍ରା ମାଙ୍କ ପ୍ରସିଦ୍ଧ ପର୍ବ। ୫ଟି ଉପକ୍ରମରେ ଏହି ପ୍ରାଚୀନ ଶକ୍ତିପୀଠର ବିକାଶ ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନରେ ମନ୍ଦିରରେ ଖଣ୍ଡାଲାଇଟ ପଥର ବିଛାଯିବା ସହିତ ମନ୍ଦିରର ରୋଷଘର ଓ ଜଳ ନିଷ୍କାସନ ବ୍ୟବସ୍ଥାର ସଂସ୍କାର କରାଯିବ ।
ଏହା ସହିତ ସେବାୟତ ଭବନ, ଭୋଗ ଦୋକାନ ପ୍ରାଚୀ ନଦୀ କୂଳରେ ମୁଣ୍ଡନ କିଓକ୍ସ, ଚନ୍ଦନଘାଟର ବିକାଶ, ଗୋଷ୍ଠୀ ଶୌଚାଳୟ ଆଦିର ବିକାଶ କରାଯିବ। ପୀଠକୁ ଅଧିକ ଆକର୍ଷଣୀୟ କରାଯିବା ପାଇଁ କୋଣାର୍କ ପାର୍ଶ୍ୱ ରାସ୍ତାରେ ଐତିହ ଦ୍ୱାର ନିର୍ମାଣ କରାଯିବ ।
ଯାତ୍ରୀମାନଙ୍କ ସୁବିଧାପାଇଁ ବିଭିନ୍ନ ପଦକ୍ଷେପ ନେବା ସହିତ ଆଲୋକୀକରଣ, ଲାଣ୍ଡସ୍କେପିଂ ଓ ବୃକ୍ଷରୋପଣ କରାଯିବା ସହିତ ପାର୍କିଙ୍ଗ ସ୍ଥଳର ମଧ୍ୟ ବିକାଶ କରାଯିବ । ଓଡିଶା ସେତୁ ନିର୍ମାଣ ନିଗମ ୧୨ ମାସ ମଧ୍ୟରେ ଏହାକୁ ସଂପୁର୍ଣ୍ଣ କରିବ।

