ରାୟଗଡ଼ା ଓ ଝାରସୁଗୁଡ଼ାରେ ଆମ ଓଡ଼ିଶା ନବୀନ ଓଡ଼ିଶା

ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଷଷ୍ଠ ଦିନରେ ରାୟଗଡ ଓ ଝାରସୁଗୁଡା ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।   ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।   ଏଥିପାଇଁ ରାୟଗଡା ଜିଲ୍ଲାର  ୩ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୧ କୋଟି  ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ରାୟଗଡ, ଗୁଣୁପୁର ଓ ବିଷମକଟକ ।  ଏହିସବୁ ନିର୍ବାଚନମଣ୍ଡଳୀର ୧୧ଟି ବ୍ଲକ୍‌‌ର ୧୮୨ଟି  ଗ୍ରାମ ପଞ୍ଚାୟତରେ ୨୬୧୩ଟି ପ୍ରକଳ୍ପ ହେବ। ସେହିପରି ଝାରସୁଗୁଡା ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀ ପାଇଁ ୩୯ କୋଟି ଟଙ୍କା  ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଝାରସୁଗୁଡା ଓ ବ୍ରଜରାଜ ନଗର।  ଏଥିରେ ୫ଟି ବ୍ଲକ୍‌ର ୭୮ଟି   ଗ୍ରାମପଞ୍ଚାୟତରେ ୯୫୭ ଟି ପ୍ରକଳ୍ପ କରାଯିବ। ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ।  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା । ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ ।  କାର୍ଯ୍ୟକ୍ରମ ପାଇଁ ରାୟଗଡା ଜିଲ୍ଲାର ୩ଟି ଓ ଝାରସୁଗୁଡା ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା । 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି  କରିଛି ବୋଲି କହିଥିଲେ।5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଆମର ରୂପାନ୍ତର ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହେବ ବୋଲି ସେ କହିଥିଲେ। ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ ।

 

 

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!