ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳ ପଡିଆ ଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍ଯାପନ ଅବସରରେ ପାଣି ପଞ୍ଚାୟତ ଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜ ପତ୍ର ଅଡିଟ୍ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ପାଣି ପଞ୍ଚାୟତ ଗୁଡିକୁ ସଶକ୍ତ କରି ଏଗୁଡିକୁ କୃଷି ବିପଣନ କେନ୍ଦ୍ର ଭାବେ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଉପସ୍ଥିତ କୃଷକମାନଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ”କୃଷକମାନେ ହେଉଛନ୍ତି ରାଜ୍ୟ ବିକାଶର ମୂଳ ସୂତ୍ରଧର । ସେମାନେ ସମସ୍ତଙ୍କ ମୁହଁରେ ଆହାର ଯୋଗାଉଛନ୍ତି । ସେଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆପଣମାନଙ୍କୁ ଅନ୍ନଦାତା ଭାବେ ସମ୍ମାନିତ କରି ଆସିଛନ୍ତି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର କୃଷକ କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ରାଜ୍ୟରେ କୃଷିର ବିକାଶ ପାଇଁ ଚଳିତ ବର୍ଷ କୃଷି ବଜେଟରେ ୩୩ ହଜାର ୯୧୯ କୋଟି ଟଙ୍କା ପ୍ରାବଧାନ କରାଯାଇଛି । କୃଷକମାନଙ୍କ ସୁଖଦୁଃଖରେ ଆମ ସରକାର ଅଛନ୍ତି । ଅଦିନିଆ ବର୍ଷାକୁ ଏକ ବିପର୍ଯ୍ୟୟ ଭାବେ ଗ୍ରହଣ କରି ଆମ ସରକାର କ୍ଷତିଗ୍ରସ୍ତ ଚାଷୀମାନଙ୍କ ପାଇଁ ୨୯୧ କୋଟି ରୁ ଅଧିକ ଟଙ୍କା ସହାୟତା ଯୋଗାଇଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି । ୬.୬୬ ଲକ୍ଷ ଚାଷୀ ଏହି ସହାୟତା ପାଇବେ ।
ଏଥିସହିତ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜଳସେଚନ ଏବଂ କୃଷି ବୈଜ୍ଞାନିକଙ୍କ ଗବେଷଣା ସହିତ ଚାଷୀ ଭାଇମାନଙ୍କ ପରିଶ୍ରମ ଯୋଗୁ ଆଜି ଆମେ ୧୪୦ କୋଟି ଲୋକଙ୍କୁ ଖାଦ୍ୟ ଯୋଗାଇ ପାରୁଛୁ ଏବଂ ବିଦେଶକୁ ମଧ୍ୟ ରପ୍ତାନୀ କରିପାରୁଛୁ । ଏଥିପାଇଁ ଚାଷୀର ଜମିକୁ ଜଳଯୋଗାଣ ଅତ୍ୟନ୍ତ ଆବଶ୍ୟକ । ତେଣୁ, ଜଳସେଚନର ସମସ୍ତ ପ୍ରକଳ୍ପ ଗୁଡିକୁ ଯୁଦ୍ଧକାଳୀନ ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ରାଜ୍ୟର କୃଷକମାନଙ୍କ ଜମିକୁ ପାଣି ଯୋଗାଇଦେବା ପାଇଁ ନୂଆ ଫିଲ୍ଡ ଚ୍ୟାନେଲ ନିର୍ମାଣ ସହିତ ପୁରୁଣା ଚ୍ୟାନେଲ ଗୁଡିକୁ କଂକ୍ରିଟ୍ ଚ୍ୟାନେଲରେ ପରିଣତ କରିବା ପାଇଁ ନିଷ୍ପତ୍ତି ହୋଇଛି । ଚଳିତ ବର୍ଷରୁ ୨୦୨୮-୨୯ ଆର୍ଥିକ ବର୍ଷ ମଧ୍ୟରେ ୮୦ ହଜାର ହେକ୍ଟର ଜଳସେଚିତ ଅଞ୍ଚଳରେ ୨୪୦୦ କିଲୋମିଟର ନୂତନ କଂକ୍ରିଟ୍ କରନାଳୀ ନିର୍ମାଣ କରାଯିବ । ଏହା ସହିତ ୬୨ହଜାର ହେକ୍ଟର ଜଳସେଚିତ ଅଞ୍ଚଳରେ ୧୮୬୦ କିଲୋମିଟର ଅତି ପୁରୁଣା ଓ ଜରାଜୀର୍ଣ୍ଣ କ୍ଷେତ୍ରନାଳୀକୁ କଂକ୍ରିଟ ନାଳୀରେ ପୁନଃନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜଳର ସୁବ୍ୟବହାର, ଜଳ ବଣ୍ଟନରେ ସମତା ଏବଂ ଚାଷୀର ଜମିକୁ ପର୍ଯ୍ୟାପ୍ତ ଜଳ ସେଚନର ବ୍ୟବସ୍ଥା ସୁନିଶ୍ଚିତ କରିବା ଆମର ପ୍ରାଥମିକତା । ଏ ଦିଗରେ ପାଣି ପଞ୍ଚାୟତର ବଡ ଭୂମିକା ରହିଛି । ରାଜ୍ୟରେ ବର୍ତ୍ତମାନ ୩୯ ହଜାର ରୁ ଅଧିକ ପାଣି ପଞ୍ଚାୟତ ଜଳ ପରିଚାଳନାର ନେତୃତ୍ୱ ନେଉଛନ୍ତି । ଏହା ଦ୍ୱାରା ଜଳ ପରିଚାଳନାରେ ସମସ୍ତଙ୍କର ସହଭାଗିତା ରହିପାରୁଛି ଓ ଜଳର ଅପଚୟ ମଧ୍ୟ ରୋକା ଯାଇ ପାରୁଛି ।

