ବରିଷ୍ଠ ଦଇତାପତି ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ । ଦୀଘା ମନ୍ଦିର ବିବାଦ ପ୍ରସଙ୍ଗରେ ମହାପ୍ରଭୁଙ୍କ ସେବା କାର୍ଯ୍ୟରୁ ଏକ ମାସ ପାଇଁ ନିଲମ୍ବିତ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ।
ଏହି ନିଲମ୍ବନ ସମୟ ଭିତରେ, ଦାସମହାପାତ୍ର କୌଣସି ସେବାପୂଜାରେ ସାମିଲ ହୋଇପାରିବେ ନାହିଁ କିମ୍ବା ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ ବୋଲି ନିଲମ୍ବନ ଆଦେଶରେ ଉଲ୍ଲେଖ ରହିଛି ।ରାମକୃଷ୍ଣ ଦାସମହାପାତ୍ରଙ୍କୁ ନିଲମ୍ବନ ଆଦେଶ ଜରିଆରେ ସ୍ପଷ୍ଟ କରାଯାଇଅଛି ଯେ, ନିଲମ୍ବନ ଅବଧି ସମୟରେ ଦଇତାପତି କିମ୍ବା ଅନ୍ୟ ନିଯୋଗର କୌଣସି ସେବକଙ୍କୁ ତଥା ଅନ୍ୟ କୌଣସି ବ୍ୟକ୍ତିଙ୍କୁ ସେ ପ୍ରଲୋଭିତ କିମ୍ବା ଧମକଚମକ କରି ଶ୍ରୀମନ୍ଦିରର କୌଣସି ସେବାପୂଜା ବା ନୀତିକାନ୍ତିରେ ବାଧକ ସାଜିବେ ନାହିଁ ।
ଏପରି କଲେ, ନିଲମ୍ବନ ଅବଧିକୁ ବର୍ଦ୍ଧିତ କରାଯାଇ, ଆହୁରି କଠୋର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏହି ସମୟ ମଧ୍ୟରେ ଶ୍ରୀମନ୍ଦିର କମାଣ୍ଡର ତଥା ବରିଷ୍ଠ ସୁପରଭାଇଜର ନିୟମିତ ଭାବେ ଦାସମହାପାତ୍ରଙ୍କ ଆଚାର ବ୍ୟବହାର ଉପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ରିପୋର୍ଟ ପ୍ରଦାନ କରିବେ ।

